ସମ୍ଭାବ୍ୟ ବାତ୍ୟାକୁ ନେଇ ସତର୍କ, ଉପକୂଳରେ ପ୍ରବଳ ବର୍ଷା ଆଶଙ୍କା

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ସ୍ପଷ୍ଟଚିହ୍ନିତ ଲଘୁଚାପ। ଏହା କ୍ରମଶଃ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବା ସହ ପରବର୍ତ୍ତୀ ସମୟରେ ଘୂର୍ଣ୍ଣିବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତାକାଲି ଏହା ଗଭୀର ଅବପାତର ରୂପ ନେଇପାରେ। ଏହାପରେ ୨୬ ତାରିଖରେ ଘୂର୍ଣ୍ଣିବାତ୍ୟାରେ ପରିଣତ ହେବାର ଆଶଙ୍କା ରହିଛି। ୨୮ ତାରିଖ ସକାଳ ସୁଦ୍ଧା ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟରେ ପହଞ୍ଚିପାରେ ବୋଲି ଆକଳନ କରାଯାଉଛି।

ସମ୍ଭାବ୍ୟ ବାତ୍ୟାକୁ ନେଇ ଉପକୂଳବର୍ତ୍ତୀ ଅଞ୍ଚଳରେ ଚିନ୍ତା ବଢ଼ିଥିବା ବେଳେ ପବନର ବେଗକୁ ନେଇ ମଧ୍ୟ ପୂର୍ବାନୁମାନ କରାଯାଇଛି। ୨୬ ତାରିଖ ସକାଳ ସୁଦ୍ଧା ପବନର ବେଗ ଘଣ୍ଟାପ୍ରତି ୭୦ରୁ ୮୦ କିଲୋମିଟର ରହିପାରେ। ଏପରିକି ଝଟକା ପବନର ବେଗ ୯୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ। ବାତ୍ୟାଟି ଉପକୂଳ ଆଡ଼କୁ ଅଗ୍ରସର ହେବା ସହ ପବନର ବେଗ ଆହୁରି ବଢ଼ିବାର ସମ୍ଭାବନା ରହିଛି। ତେବେ ଏହାର ଲ୍ୟାଣ୍ଡଫଲ୍ ସମୟରେ ପବନର ବେଗ କେତେ ରହିବ, ସେନେଇ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ବର୍ତ୍ତମାନ ସୁଦ୍ଧା କୌଣସି ସ୍ପଷ୍ଟ ଆକଳନ କରାଯାଇନାହିଁ। ଅବପାତ ସୃଷ୍ଟି ହେବା ପରେ ବାତ୍ୟାର ସମ୍ଭାବ୍ୟ ଗତିପଥ ଓ ତୀବ୍ରତା ସମ୍ପର୍କରେ ଅଧିକ ସ୍ପଷ୍ଟତା ମିଳିବ।

ଅନ୍ୟପକ୍ଷରେ, ୨୭ ଓ ୨୯ ତାରିଖରେ ଓଡ଼ିଶାର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସତର୍କ ହୋଇପଡ଼ିଛନ୍ତି। ସମସ୍ତ ବିଭାଗ ଓ ଜିଲ୍ଲା ପ୍ରଶାସନକୁ ସଜାଗ ରଖାଯାଇଥିବା ବେଳେ ରାଜ୍ୟ ଜରୁରୀକାଳୀନ ପରିଚାଳନା କେନ୍ଦ୍ର (SEOC) ପକ୍ଷରୁ ପରିସ୍ଥିତି ଉପରେ ନିରନ୍ତର ନଜର ରଖାଯାଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଲୋକମାନଙ୍କୁ ଆତଙ୍କିତ ନହୋଇ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ଉପକୂଳବାସୀଙ୍କୁ ପାଣିପାଗ ବିଭାଗ ଓ ପ୍ରଶାସନର ସରକାରୀ ସୂଚନା ଅନୁସରଣ କରିବା ସହ ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି। ଆଗାମୀ ଦିନରେ ବାତ୍ୟାର ଗତିପଥ ଓ ତୀବ୍ରତା ସ୍ପଷ୍ଟ ହେବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ।

Leave a Reply

Your email address will not be published. Required fields are marked *