ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ଆଶଙ୍କା, ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଓଡ଼ିଶାରେ ଆସନ୍ତା ଦୁଇ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବିଶେଷକରି ଅକ୍ଟୋବର ୨୭ ଓ ୨୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିପାରେ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଅକ୍ଟୋବର ୨୭ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କାରେ ରାଜ୍ୟର ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ସେହିପରି ଉପକୂଳ ଓ ଦକ୍ଷିଣ ଓଡ଼ିଶାର ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ତେବେ ୨୮ ତାରିଖରେ ବର୍ଷାର ପରିମାଣ ଆହୁରି ବଢ଼ିବା ସମ୍ଭାବନା ରହିଛି।

ଭାରତୀୟ ପାଣିପାଗ ବିଭାଗ (IMD)ର ସୂଚନା ଅନୁଯାୟୀ, ବାତ୍ୟାଟି ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଆଗକୁ ବଢ଼ୁଛି। ଆସନ୍ତା ୨୮ ତାରିଖରେ ଏହା ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିପାରେ। ସଦ୍ୟତମ ଆକଳନ ଅନୁସାରେ, ବାପଟଲାରୁ ବିଶାଖାପାଟଣା ମଧ୍ୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ଏହାର ଲ୍ୟାଣ୍ଡଫଲ୍ ସ୍ଥାନ ଗୋପାଳପୁରଠାରୁ ପ୍ରାୟ ୩୦୦ କିଲୋମିଟର ଦୂରରେ ରହିପାରେ ।

ଅନ୍ୟପକ୍ଷରେ, ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ଅକ୍ଟୋବର ୨୮ରୁ ୨୯ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ବିପଦପୂର୍ଣ୍ଣ ସମୁଦ୍ରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଲୋକମାନେ ସତର୍କ ରହିବା ସହ ପାଣିପାଗ ବିଭାଗର ନିର୍ଦ୍ଦେଶ ମାନିବା ଆବଶ୍ୟକ। ଏହି ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ରାଜ୍ୟର ୧୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ବର୍ଷା ସହ ଝଟକା ପବନ ବହିବାର ମଧ୍ୟ ଆଶଙ୍କା ରହିଛି।

Leave a Reply

Your email address will not be published. Required fields are marked *